Latest

ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ

Posted on

 

  • ୭୦ ବର୍ଷରୁ ଅଧିକ ସମସ୍ତେ ପାଇବେ ଚିକିତ୍ସା ସୁବିଧା

  • ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଆସନ୍ତା ଏପ୍ରିଲ ପହିଲାରୁ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ସେହିଦିନ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା ଅଭିଯାନ ଆରମ୍ଭ କରାଯିବ ।

ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ (Co-Branding) କରାଯିବ । ଏହି ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ (Co-Branded Card) ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ। ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩, ୧୨, ୯୭୯। ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ ।

ଏହାଦ୍ୱାରା ରାଜ୍ୟର ସମୁଦାୟ ୩.୫୨ କୋଟି ଲୋକ ଉପକୃତ ହେବେ। ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବା ବେଳେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ । ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ହେବ। ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ।

ସୂଚନାଯୋଗ୍ୟ ଯେ, ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।

ବିଜେପି ସରକାର କ୍ଷମତାକୁ ଆସିବା ପରେ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ର ନାଁ ପରିବର୍ତ୍ତନ କରି ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ରଖିଛନ୍ତି । ପୂର୍ବର ବିଜେଡି ସରକାର ରାଜ୍ୟରେ ‘ଆୟୁଷ୍ମାନ-ଭାରତ’ ଯୋଜନାକୁ କାର୍ଯ୍ୟକାରୀ କରାଇ ଦେଇନଥିଲେ ।

Leave a Reply

Your email address will not be published. Required fields are marked *

Most Popular

Exit mobile version